୧୯ରେ ବଙ୍ଗୋପସାଗରରେ ଲଘୁଚାପ: ବାତ୍ୟା ଗୁଜବରୁ ଦୂରେଇ ରହିବାକୁ IMDର ପରାମର୍ଶ

0

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି, ଯାହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ, ସେ ନେଇ ବର୍ତ୍ତମାନ ସୁଦ୍ଧା କୌଣସି ପୂର୍ବାନୁମାନ କରାଯାଇ ନାହିଁ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଏହା ସ୍ପଷ୍ଟ କରିବା ସହ ବାତ୍ୟା ଗୁଜବରେ ଭୟଭୀତ ନହେବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ଉତ୍ତର ଥାଇଲ୍ୟାଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ସେପ୍ଟେମ୍ବର ୧୮ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରକୁ ଗତି କରିବ। ଏହାର ପ୍ରଭାବରେ ସେପ୍ଟେମ୍ବର ୧୯ ତାରିଖ ପାଖାପାଖି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହି ପ୍ରକ୍ରିୟା ଧୀରେ ଧୀରେ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ସେପ୍ଟେମ୍ବର ୨୩ ତାରିଖ ବେଳକୁ ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟତର ହେବ। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

Leave A Reply

Your email address will not be published.