ବିଶ୍ବ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି

ଭୁବନେଶ୍ୱର: ବିଶ୍ବ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଟାଟା ଷ୍ଟିଲରେ ନିଯୁକ୍ତି । ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି ପ୍ରଦାନ କରାଯାଉଛି। ଏହି କ୍ରମରେ ଟାଟା ଷ୍ଟିଲ ପକ୍ଷରୁ ହୋଇଥିବା ଦ୍ୱିତୀୟ ପ୍ଲେସମେଣ୍ଟ ଇଣ୍ଟରଭିଉ କାର୍ଯ୍ୟକ୍ରମରେ ୨୦୨୧-୨୨ ବ୍ୟାଚର ୨୪ ଜଣ ଛାତ୍ରଛାତ୍ରୀ ନିଯୁକ୍ତି ପାଇଛନ୍ତି । ଟାଟା ଷ୍ଟିଲରେ ନିଯୁକ୍ତି ପାଇଥିବା ଛାତ୍ରଛାତ୍ରୀମାନେ ଓଡ଼ିଶାର ବିଭିନ୍ନ ସ୍ଥାନରେ କାମ କରିବାର ସୁଯୋଗ ପାଇବେ ।

ଏଥିପାଇଁ ସେମାନଙ୍କ ଭିତରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି । ଏହି ସୁଯୋଗ ଲାଗି ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଧନ୍ୟବାଦ ଜଣାଇଛନ୍ତି । ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ନିଯୁକ୍ତି ପାଇଥିବା ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ବିଶ୍ୱ ଦକ୍ଷତା କେନ୍ଦ୍ରର ‘ସ୍କୁଲ ଅଫ ଇଞ୍ଜିନିୟରିଂ’ ଏବଂ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ଚଳିତ ବର୍ଷ ତାଲିମ ଶେଷ କରିଥିବା ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସୁଯୋଗ ଦେବା ପାଇଁ ପ୍ଲେସମେଣ୍ଟ କାର୍ଯ୍ୟକ୍ରମ ଚାଲୁ ରହିଛି । ଏହି ବ୍ୟାଚରେ ୯୦ ପ୍ରତିଶତ ଛାତ୍ରଛାତ୍ରୀ ବିଭିନ୍ନ କମ୍ପାନିରେ ନିଯୁକ୍ତି ସୁଯୋଗ ପାଇଛନ୍ତି । ତା’ଭିତରେ ୨୫ ପ୍ରତିଶତ ଛାତ୍ରଛାତ୍ରୀଙ୍କୁ ଅନ୍ତର୍ଜାତୀୟ ସ୍ତରରେ ନିଯୁକ୍ତି ମିଳିଛି । ଚଳିତ ବର୍ଷ ଟାଟା ଷ୍ଟିଲ ପକ୍ଷରୁ ଆୟୋଜିତ ପ୍ରଥମ ପ୍ଲେସମେଣ୍ଟ କାର୍ଯ୍ୟକ୍ରମରେ ୪୫ ଜଣ ଛାତ୍ରଛାତ୍ରୀ ନିଯୁକ୍ତି ସୁଯୋଗ ପାଇଥିଲେ ।

Comments are closed.