ଗଜପତି,9.11( ମନୋଜ କୁମାର ପାଢୀଙ୍କ ରିପୋର୍ଟ) :-ଗଜପତି ଜିଲ୍ଲା ଗୁମ୍ମା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗତ ସାମଲ କଲ୍ୟାଣରାଓ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ। ଶିବିରରେ ମୋଟ ୩୧ ଗୋଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ଏବଂ ୧୪ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ଦୁଇ ଜଣ ହିତାଧିକାରୀଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜାତୀୟ ପରିବାର ମଙ୍ଗଳ ଯୋଜନା ଅଧୀନରେ ପ୍ରତ୍ୟେକଙ୍କୁ ୨୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା।ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରମ ମାରାଣ୍ଡି, ତହସିଲଦାର ଶରତ ଶବରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।